ପୋଲିସ୍ ଭବନରେ ୭୩ତମ ସର୍ବଭାରତୀୟ ପୋଲିସ୍ ହକି ଚାମ୍ପିୟନସିପ୍- ୨୦୨୫

👇समाचार सुनने के लिए यहां क्लिक करें

 

ଭୁବନେଶ୍ୱର,(ରାଜାରାମ ଷଡ଼ଙ୍ଗୀ) : ରବିବାର ଭୁବନେଶ୍ବର ସ୍ଥିତ ପୋଲିସ୍ ଭବନରେ ୭୩ତମ ସର୍ବଭାରତୀୟ ପୋଲିସ୍ ହକି ଚାମ୍ପିୟନସିପ୍ ୨୦୨୫ ର କୁର୍ଟିନ ରାଇଜର ସମାରୋହ ଅନୁଷ୍ଠିତ ହୋଇଯାଇଛି ।

 

ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ୭୩ତମ ସର୍ବଭାରତୀୟ ପୋଲିସ୍ ହକି ଚାମ୍ପିୟନସିପ୍ ୨୦୨୫ର “ଲୋଗୋ ଏବଂ ମାସ୍କଟ-ଆଶା” କୁ ଲୋକାର୍ପଣ କରିଛନ୍ତି ।

 

କେନ୍ଦୁଝର ଜିଲ୍ଲାର ଏକ ଜଙ୍ଗଲରୁ ଗୁରୁତର ଆହତ ଅବସ୍ଥାରେ ରାଜ୍ୟ ସରକାରଙ୍କ ଜଙ୍ଗଲ ବିଭାଗର କର୍ମଚାରୀମାନେ ଏକ ଗଜ ଶାବକ (ହାତୀ ଛୁଆ)କୁ ଉଦ୍ଧାର କରିଥିଲେ । ପରେ ତାକୁ ସେଠାରୁ ନନ୍ଦନକାନନକୁ ସ୍ଥାନାନ୍ତର କରାଯାଇଥିଲା । ତାର ଏହି ସଂଘର୍ଷମୟ କାହାଣୀ ଉପରେ “ଆଶା” ଆଧାରିତ । ଯିଏକି ବର୍ତ୍ତମାନ ନନ୍ଦନକାନନରେ ସୁସ୍ଥ ଓ ସୁରକ୍ଷିତ ଅବସ୍ଥାରେ ଅଛି । ଏହି ମାସକଟ୍‌ “ଆଶା” ଦୟା, ସାହସ ଓ ପରିବେଶ ସଂରକ୍ଷଣ ପ୍ରତି ଓଡ଼ିଶାର ପ୍ରତିବଦ୍ଧତାକୁ ପ୍ରତିନିଧିତ୍ୱ କରୁଛି ବୋଲି ଡିଜିପି ନିଜ ଅଭିଭାଷଣରେ କହିଥିଲେ ।

 

ଓଡ଼ିଶା ପୋଲିସ ଏହି ଚାମ୍ପିୟନସିପ୍‌ କୁ ଦ୍ବିତୀୟ ଥର ପାଇଁ ଆୟୋଜନ କରୁଥିବାରୁ ଶ୍ରୀ ଖୁରାନିଆ ଖୁସି ବ୍ୟକ୍ତ କରିବା ସହ ଏଥି ନିମନ୍ତେ ସେ ସର୍ବଭାରତୀୟ ପୋଲିସ୍ କ୍ରୀଡା ନିୟନ୍ତ୍ରଣ ବୋର୍ଡ୍‌ କୁ ଧନ୍ୟବାଦ ଜଣାଇଥିଲେ ।

 

ଏହି ଚାମ୍ପିୟନସିପ୍ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍ ଠାରେ ଅପ୍ରେଲ ୭ ରୁ ୧୪ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଯାଉଛି ।

 

ଏଥିରେ ୨୬ଟି ପୁରୁଷ ଦଳ ଓ ୯ଟି ମହିଳା ଦଳ ଅଂଶଗ୍ରହଣ କରୁଥିବା ବେଳେ ମୋଟ ୪୮ଟି ମ୍ୟାଚ୍‌ ଖେଳାଯିବ । ସିଆଇଏସଏଫ୍‌, ସିଆରପିଏଫ୍‌, ବିଏସଏଫ୍‌, ଆଇଟିବିପି ଓ ଏସଏସବି ଭଳି କେନ୍ଦ୍ରୀୟ ସଶସ୍ତ୍ର ବାହିନୀ ଦଳଗୁଡ଼ିକ ଏହି ପ୍ରତିଯୋଗିତାର ମଧ୍ୟ ଅଂଶ ଗ୍ରହଣ କରୁଛନ୍ତି ବୋଲି ଡିଜିପି ସୂଚନା ଦେଇଥିଲେ ।

 

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଆୟୋଜନ କମିଟିର ଉପସଭାପତି ତଥା ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ଶ୍ରୀ ଦୟାଲ ଗଙ୍ଗୱାର, ଆୟୋଜନ କମିଟିର ଉପସଭାପତି ତଥା ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ସଶସ୍ତ୍ର ) ଶ୍ରୀ ରାଜେଶ କୁମାର, ଆୟୋଜନ କମିଟିର ସମ୍ପାଦକ ତଥା ଆଇଜି(ତାଲିମ) ଶ୍ରୀ ଅନୁପ କୁମାର ସାହୁ, ସମସ୍ତ ଟିମର ମ୍ୟାନେଜର ଏବଂ ଅଧିନାୟକ, ପୋଲିସ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Ground News7
Author: Ground News7

Leave a Comment

Read more

Ai / Market My Stique Ai

हमारे यूट्यूब चैनल को सब्सक्राइब करें